ବଙ୍ଗୋପସାଗରରେ ଗଭୀର ଅବପାତ, ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ଆଜି ରାତି ଓ ଆସନ୍ତାକାଲି ଭୋର୍ ସମୟରେ ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଉପକୂଳ ମଧ୍ୟ ଦେଇ ଗତି କରିବ । ଗଭୀର ଅବପାତ ବିଶାଖାପାଟନମ୍ ଓ ଗୋପାଳପୁର ମଧ୍ୟରେ ସ୍ଥଳଭାଗ ଛୁଇଁବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ଫଳରେ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୫ ତାରିଖ ଯାଏ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣରୁ ନେଇ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ମାଲକାନଗିରି, ନବରଙ୍ଗପରୁ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହା ସହିତ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତିନି ଦିନ ଘଡ଼ଘଡ଼ି ବିଜୁଳି ମାରିବା ସହ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର୍ ରହିବ । ବର୍ଷାର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ରାଜ୍ୟ ସରକାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଜଳବନ୍ଦୀ ସମସ୍ୟା, ଉଦ୍ଧାର କାର୍ଯ୍ୟ, ଗଛ ଉପୁଡ଼ିବା, ବିଦ୍ୟୁତ ସେବା ଉପରେ ଗୁରୁତ୍ୱାରୋପ କରାଯାଇଛି । ଅଧାରୁ ଅଧିକ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ବନ୍ଦ ରଖାଯାଇଥିବାବେଳେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ଏହା ସହିତ ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀମାନଙ୍କୁ ତୁରନ୍ତ କୂଳକୁ ଫେରି ଆସିବାକୁ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ ଜିଲ୍ଲାକାର୍ଯ୍ୟଳୟରେ ମଧ୍ୟ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି ।

Leave a Reply

Your email address will not be published. Required fields are marked *